ମୁଖ୍ୟମନ୍ତ୍ରୀଙ୍କ ଦ୍ବାର ଓମ୍‌ଫେଡ୍‌ର ଅତ୍ଯାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ଉଦଘାଟନ।

0 1,426

କଟକ,୧୦/୧୧: ଆଜି କଟକ ଜିଲ୍ଲା ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ଉଦଘାଟନ କରିଛନ୍ତି। ଏହି ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ। ଏହା ସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଓ ସୁବାସିତ ଦୁଗ୍ଧ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଓମ୍‌ଫେଡ୍‌ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ। ଏହାର ବିକାଶରେ ସବୁ ଚାଷୀ ଭାଇଭଉଣୀ ମାନଙ୍କର ଅବଦାନ ରହିଛି। ଓମ୍‌ଫେଡ୍‌ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ।

ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରୋସେସିଙ୍ଗ ୟୁନିଟ୍ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି। ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।

ରାଜ୍ୟରେ ଓମ୍‌ଫେଡ୍‌ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.