ଭୁବନେଶ୍ବର ,୩୧/୦୮; ରାଜ୍ୟରେ ସମ୍ଭାବ୍ୟ ମରୁଡ଼ି ସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ସତର୍କ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ସମ୍ଭାବ୍ୟ ମରୁଡି ପରିସ୍ଥିତିର ମୁକାବିଲା ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବେ। ଫସଲ ପାଇଁ ଜରୁରୀକାଳୀନ ଯୋଜନା ସହ କେନାଲରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବା ନେଇ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଚାଷୀଙ୍କ ସୁବିଧା ପାଇଁ ସମସ୍ତ ଉଠାଜଳସେଚନ ପଏଣ୍ଟଗୁଡ଼ିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରାଯିବ। ଏଥିସହ ଫସଲ ନଷ୍ଟ କ୍ଷେତ୍ରରେ ୨ୟ ଫସଲ ପାଇଁ ବିହନ ଓ ମିନିକିଟ୍ ଯୋଗାଇବା ଏବଂ ରିହାତି ଦରରେ ଚାଷୀମାନଙ୍କୁ ଡିଜେଲ ପମ୍ଫସେଟ୍ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କ୍ଷୁଦ୍ର, ନାମମାତ୍ର ଚାଷୀ ଓ କୃଷି ଶ୍ରମିକମାନଙ୍କ ଜୀବନଜୀବିକା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଜନସାଧାରଣ ଓ ପ୍ରାଣୀସମ୍ପଦ ପାଇଁ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।