ଯାଜପୁର,୦୯/୦୨(ପିପିଟି): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୯୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୨ ଗୋଟି,ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୨୪ ଗୋଟି ରେଡ୍ କ୍ରସ୍ ପାଣ୍ଠି ରୁ ୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୨୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଦେବୀପ୍ରସାଦ ମହାନ୍ତି, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ,ପ୍ରଶାନ୍ତ କୁମାର ମାଝୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବରୀ ଅସିତ୍ କୁମାର ମହାନ୍ତି, ତହସିଲଦାର, ବରୀ,ଦିପ୍ତିମୟୀ ବେହେରା ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।