ନୂଆଦିଲ୍ଲୀ, ୨୬ /୧୦: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଓଡ଼ିଶାରେ ସତର୍କତା ଜାରି କରାଯାଇଛି। ସମୁଦ୍ରରେ ସକ୍ରିୟ ଥିବା ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଥିବାବେଳେ ଏହା ଅଧିକ ଶକ୍ତିଶାଳୀ ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ବାତ୍ୟାଟି ଆଜି ମଧ୍ୟରାତ୍ରି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ। ଆସନ୍ତାକାଲି ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ଅକ୍ଟୋବର ୨୮ ତାରିଖ ପୂର୍ବାହ୍ନରେ ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ।
ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୨୦ରୁ ୧୨୫ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଓଡ଼ିଶା ପାଇଁ ଅକ୍ଟୋବର ୨୭ ତାରିଖ ରାତି ଓ ୨୮ ତାରିଖ ସକାଳ ଗୁରୁତ୍ୱପୂର୍ଣ୍ଣ ରହିବ। ୨୭ ତାରିଖ ସନ୍ଧ୍ୟାଠାରୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।
ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ କେତେକ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୯୦ କିଲୋମିଟର ପର୍ଯ୍ୟନ୍ତ ରହିବା ଆଶଙ୍କା ରହିଛି। ଅକ୍ଟୋବର ୨୯ ତାରିଖରେ ଉତ୍ତର ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।
ସମୁଦ୍ରରେ ୧ରୁ ୧.୫ ମିଟର ଉଚ୍ଚତାର ଜୁଆର ଉଠିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ କଡ଼ା ସତର୍କତା ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେବା ସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ପୁରୀ ସମେତ ଅନ୍ୟ ଉପକୂଳବର୍ତ୍ତୀ ଅଞ୍ଚଳକୁ ଯାଉଥିବା ପର୍ଯ୍ୟଟକମାନଙ୍କୁ ସତର୍କ ରହିବା ଏବଂ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି।
ବାତ୍ୟାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଥିବାବେଳେ ଉପକୂଳ ଓ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ଅଧିକୃତ ସୂଚନା ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି।