ଯାଜପୁର,୧୭/୦୬(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୪୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୯ ଗୋଟି,ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୩ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୦୭ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶିତିକଣ୍ଠ କାନୁନଗୋ, ଅତିରିକ୍ତ ଜିଲ୍ଲାପାଳ,ପ୍ରଶାସନ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ବିଂଝାରପୁର, ହିତାଂଶୁ ଶେଖର ସାମଲ୍,ତହସିଲଦାର,ବିଂଝାରପୁର ସୁଧାଂଶୁ ଶେଖର ସାଓ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।