ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ।

0 0

ମାଲକାନଗିରି,୨୪/୧୦(ପିପିଟି):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ଥିବାବେଳେ ଆସନ୍ତା ଅକ୍ଟୋବର ୨୬ ରୁ ୨୮ ତାରିଖ ମଧ୍ୟରେ ମାଲକାନଗିରି ଜିଲ୍ଲାରେ ବ୍ୟାପକ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି ସମ୍ଭାବ୍ୟ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପୂର୍ବପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଶ୍ମିରଞ୍ଜନ ସେନାପତି ଏବଂ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଦୀପ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।ବୈଠକର ନିଷ୍ପତ୍ତି ଅନୁଯାୟୀ, ତଳିଆ ଓ ବିପଜ୍ଜନକ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ବିଶେଷ କରି ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ପ୍ରସବ ସମୟ ନିକଟବର୍ତ୍ତୀ ଗର୍ଭବତୀ ମହିଳାମାନଙ୍କୁ ଆଗୁଆ ଚିହ୍ନଟ କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କିମ୍ବା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଡାକ୍ତରଖାନାଗୁଡ଼ିକରେ ଜରୁରୀକାଳୀନ ଔଷଧ, ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଦଳ ଏବଂ ଅବିଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରାଯାଇଛି। ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜାତୀୟ ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ସମେତ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଥିବା ବେଳେ କୌଣସି ପ୍ରକାର ଗୁଜବରେ ବିଶ୍ୱାସ ନକରି କେବଳ ସରକାରୀ ସୂଚନା ଉପରେ ବିଶ୍ୱାସ କରି ପ୍ରଶାସନକୁ ସହଯୋଗ କରିବାକୁ ଜିଲ୍ଲାବାସୀଙ୍କୁ ନିବେଦନ କରାଯାଇଛି।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ)

Leave A Reply

Your email address will not be published.