ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

0 1,044

ଭୁବନେଶ୍ବର,୧୨/୧୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ । ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାରଙ୍କ ପ୍ରତିବଦ୍ଧତା । ଏବଂ ଏ ଦିଗରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ ।

ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ଗଞ୍ଜାମରେ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ ।ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି ତାର ଉଦାହରଣ ଦେଇଥିଲେ। ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ,ଆସିକା ସାଂସଦ ପ୍ରମିଳା ବିଶୋଇ , ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ । ବିଧାୟକ ଶ୍ରୀ କାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାରାତାରିଣୀ ମନ୍ଦିର ଯାଇ ମାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ ।ପରେ ସେଠାରେ ମନ୍ଦିର ବିକାଶ କାମର ସମୀକ୍ଷା କରି ୨୦୨୩ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବ ବୋଲି ଘୋଷଣା କରିଥିଲେ ।ତାରାତରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।

ଗଞ୍ଜାମରେ ମିଶନ ଶକ୍ତି ମା ମାନଙ୍କ କାମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀ ଙ୍କୁ ଶହେ କୋଟି ଟଙ୍କାର ଋଣ ବଣ୍ଟନ କରିଥିଲେ ।

5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରିତ ବୃନ୍ଦାବନ ବିଦ୍ୟାପୀଠର ସ୍ମାର୍ଟ କ୍ଲାସ ରୁମ୍ ଓ ଇ ଲାଇବ୍ରେରୀ ମୁଖ୍ୟମନ୍ତ୍ରୀ ବୁଲି ଦେଖି ଥିଲେ ଓ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଭେଟି ସେମାନଙ୍କ ସହ କିଛି ସମୟ ବିତାଇ ଥିଲେ । 5t ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ଥିଲେ।

ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଗଞ୍ଜାମ ଦର୍ଶନ ବସ୍ ର ଶୁଭ ଯାତ୍ରା ଆରମ୍ଭ କରିଥିଲେ ।

Leave A Reply

Your email address will not be published.