ମୁଖ୍ୟମନ୍ତ୍ରୀ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିବା ସହିତ ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଥିଲେ।

0 1,081

ଭୁବନେଶ୍ବର,୧୩/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ।

କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।

ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ।

Leave A Reply

Your email address will not be published.