ଯାଜପୁର,୨୧/୦୭(ପିପିଟି): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୨୧୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୯ ଗୋଟି,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୫୩ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୫୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ,ରାଜସ୍ୱ ଶିବାନନ୍ଦ ସ୍ବାଇଁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ମଣ୍ଡଳ ଉନ୍ନୟନ ଅଧିକାରୀ, ଧର୍ମଶାଳା ଜ୍ୟୋତିର୍ମୟ କର, ଭାରପ୍ରାପ୍ତ ତହସିଲଦାର, ଧର୍ମଶାଳା ଭବେଷ ମାଝୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।